ଉତ୍କଳ ଗୌରବ ଙ୍କ ଜନ୍ମମାଟିରେ ରାଜ୍ୟସ୍ତରୀୟ ଓଡିଶା ଦିବସ ପାଳିତ |

Love with Khabar Satyabadi

ଖବର ସତ୍ୟବାଦୀ ଓଡିଶା NEWS :ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜନ୍ମ ମାଟି ସତ୍ୟଭାମାପୁରରେ ଆୟୋଜିତ ରାଜ୍ୟ ସ୍ତରୀୟ ଓଡ଼ିଶା ଦିବସ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଓଡ଼ିଆ ଅସ୍ମିତା, ଓଡ଼ିଆ ସ୍ୱାଭିମାନକୁ ଗୁରୁତ୍ୱ ଦେଇ ଓଡ଼ିଶାବାସୀ ଯେଉଁ ପରିବର୍ତ୍ତନ ଆଣିଥିଲେ, ତାକୁ ସମ୍ମାନ ଦେଇ, ଆଜି ଆମେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ମୁଖ୍ୟ ବିନ୍ଧାଣି ମଧୁବାବୁଙ୍କ ଗାଁ’ ମାଟିରେ ‘ଓଡ଼ିଶା ଦିବସ’ ପାଳନ କରୁଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।#ଓଡ଼ିଶାଦିବସ
ମଧୁବାବୁଙ୍କ ଜନ୍ମମାଟି ସତ୍ୟଭାମାପୁର ହେଉଛି ଆମ ପାଇଁ ଏକ ପବିତ୍ର ସ୍ଥାନ, ଏକ ତୀର୍ଥ। ଏ ସ୍ଥାନକୁ ଓଡ଼ିଆ ଜାତୀୟତା ଭାବର ଏକ କେନ୍ଦ୍ର ସ୍ଥଳ ଭାବେ ବିକଶିତ କରାଯିବ ବୋଲି ଘୋଷଣା କରିବା ସହ ଉତ୍କଳ ଗୌରବ ‘ମଧୁସୂଦନ ଦାସଙ୍କ ଜନ୍ମ ସ୍ଥାନର ସମନ୍ୱିତ ବିକାଶ କାର୍ଯ୍ୟକ୍ରମ(Integrated Development of Madhusudan Das’ Birth Place)’ର ଭିତ୍ତିପ୍ରସ୍ତର ରଖିଛନ୍ତି। ୨୧ କୋଟି ଟଙ୍କା ବିନିଯୋଗରେ ବିକଶିତ ହେଉଥିବା ଏହି କାର୍ଯ୍ୟକ୍ରମରେ ମଧୁବାବୁଙ୍କ ଜନ୍ମ ସ୍ଥାନର ଉନ୍ନତିକରଣ ସହିତ ବ୍ୟାଖ୍ୟାନ କେନ୍ଦ୍ର ନିର୍ମାଣ, ଏନ୍ତୁଡିଶାଳର ଉନ୍ନତିକରଣ, ପ୍ରତିମୂର୍ତ୍ତି ନିର୍ମାଣ, ଅତିଥି ଭବନ, ପାଠାଗାର ଏବଂ ସେଠାରେ ଥିବା ଜଳାଶୟରେ ଲାଇଟ୍ ଆଣ୍ଡ ସାଉଣ୍ଡ ସିଷ୍ଟମ ସ୍ଥାପନ ଆଦି କରାଯିବ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଆମର ବରପୁତ୍ର ମାନେ ଯେଉଁ ତ୍ୟାଗ ଓ ସଂଗ୍ରାମ କରିଯାଇଛନ୍ତି, ସେ ଋଣକୁ ଆମେ କେବେ ବି ସୁଝି ପାରିବୁ ନାହିଁ। ତେବେ, ଏକ ସମୃଦ୍ଧ ଓଡିଶା ଗଠନ କରି ସେମାନଙ୍କ ସ୍ୱପ୍ନକୁ ନିଶ୍ଚୟ ପୂରଣ କରିବୁ। ଓଡ଼ିଶାର ଏହି ମହା ପରିବର୍ତ୍ତନର ଯାତ୍ରାରେ ସମସ୍ତେ ସାମିଲ ହୋଇ ସମୃଦ୍ଧ ଓଡ଼ିଶାର ମହାନ ଲକ୍ଷ୍ୟକୁ ହାସଲ କରିବା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆହ୍ୱାନ ଦେଇଛନ୍ତି।

ଖବର ସତ୍ୟବାଦୀ ଓଡିଶା NEWS…